ରାଜ୍ୟ ସ୍ପେଶାଲ ରିପୋର୍ଟ

ବାତ୍ୟା ଭୟ: ୬ରେ ଘୂର୍ଣ୍ଣିବଳୟ, ୯ ବେଳକୁ ଲଘୁଚାପ

ଭୁବନେଶ୍ବର: ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ବାତ୍ୟା ‌ରୂପ ନେବ କି ନାହିଁ, ସେନେଇ ଆକଳନ କରାଯାଇ ନଥିବା ବିଭାଗ ପକ୍ଷରୁ କୁହାଯାଇଛି।

ସେପଟେ ବାତ୍ୟା ସୃଷ୍ଟି ହେବା ନେଇ ପାଣିପାଗ ଆକଳନକାରୀ ସଂସ୍ଥା ୱିଣ୍ଡିର ଦୁଇଟି ମଡେଲ ପୂର୍ବାନୁମାନ କରିଛନ୍ତି। ମେ’ ୧୨ରୁ ୧୪ ମଧ୍ୟରେ   ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଜିଏଫଏସ୍ ଓ ଇସିଏମ୍‌ଡବ୍ଲ୍ୟୁଏଫ୍ ମଡେଲ୍‌ ଆକଳନ କରିଛନ୍ତି। ମଡେଲ୍‌ଗୁଡ଼ିକର ଆକଳନକୁ ସମୀକ୍ଷା କରି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରୁଛନ୍ତି ଯେ ୬ରୁ ୭ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଅବପାତ ଓ ଗଭୀର ଅବପାତରେ ପରିଣତ ହୋଇ ‌୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଅଧିକ। ତେବେ ସମ୍ଭାବ୍ୟ ବାତ୍ୟା ନେଇ ୱିଣ୍ଡିର ମଡେ଼ଲ କିଛି ନିର୍ଦ୍ଦିଷ୍ଟ ଟ୍ରାକ୍ ଦେଇନାହାନ୍ତି।

ଯଦି ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୁଏ, ତାହା କେଉଁ ଆଡ଼କୁ ଗତି କରିବ, ତାହା ମଧ୍ୟ ସ୍ପଷ୍ଟ କରାଯାଇନାହିଁ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ବିଭିନ୍ନ ମଡେଲ୍‌ରୁ ଜଣାପଡ଼ୁଛି ଯେ ଆସନ୍ତା ୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ୮ ତାରିଖ ରାତି ଓ ୯ ତାରିଖ ସକାଳ ସୁଦ୍ଧା ଲଘୁଚାପ, ୧୦ ତାରିଖରେ ବାତ୍ୟାରେ ପରିଣତ ହୋଇପାରେ। ଠିକ୍‌ ସେହି ସମୟରେ, ଘୂର୍ଣ୍ଣବଳୟର ଦକ୍ଷିଣରେ ବିଷୁବରେଖା ତଳେ(ଦକ୍ଷିଣରେ) ଆଉ ଏକ ସିଷ୍ଟମ ସୃଷ୍ଟି ହେତୁ ପ୍ରାରମ୍ଭିକ ତିନି ଦିନ ଅର୍ଥାତ୍‌ ୯ ତାରିଖ ପର୍ଯ୍ୟନ୍ତ ସିଷ୍ଟମ ଶକ୍ତିଶାଳୀ ହେବାରେ ବିଳମ୍ବ ହୋଇପାରେ। ସମ୍ଭାବ୍ୟ ବାତ୍ୟା ସୃଷ୍ଟି ହେବା ପରେ ଏହାର ଗତିପଥ ଓ ତୀବ୍ରତା ବିଷୟରେ ଅଧିକ କହିହେବ। ଏଣୁ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟବାସୀ ଭୟଭୀତ ହେବାର କୌଣସି କାରଣ ନାହିଁ। ମୌସୁମୀ ପୂର୍ବ ସମୟରେ ବାତ୍ୟାର ଠିକ୍‌ ଆକଳନ ଏତେ ପୂର୍ବରୁ କରିବା ସମ୍ଭବ ନୁହେଁ ବୋଲି ଡ. ପଶୁପାଳକ କହିଛନ୍ତି।

ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁଙ୍କ କହିବାନୁଯାୟୀ, ୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବା ମଡେଲଗୁଡ଼ିକରୁ ଦେଖିବାକୁ ମିଳୁଛି। କେତେ ଘନୀଭୂତ ହେବ, ସେନେଇ ଏବେ କିଛି କହି ହେବନାହିଁ। ୯ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଅବପାତ ଓ ଗଭୀର ଅବପାତ ରୂପ ନେଇପାରେ। ବାତ୍ୟା ହେବ କି ନାହିଁ, ବାତ୍ୟାର ଗତି କୁଆଡ଼େ ରହିବ, ଏବେଠାରୁ ଆକଳନ କରିବା ଠିକ୍‌ ହେବନି। ସିଷ୍ଟମ ଡିପ୍‌ ଡିପ୍ରେସନ୍‌ ହେବା ପରେ ସ୍ପଷ୍ଟ ଜଣାପଡ଼ିବ। ୮/୯ ତାରିଖ ପୂର୍ବରୁ ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ କିଛି ବି କହି ହେବନି। ଆସନ୍ତା ୭ ତାରିଖଠାରୁ ଓଡ଼ିଶାର ତାପମାତ୍ରା ବଢ଼ିବ। କାଳବୈଶାଖୀ ସମ୍ଭାବନା କମ୍‌ ଓ ଆକାଶ ମେଘମୁକ୍ତ ରହିବ। ତେଣୁ ଆସନ୍ତା ୫ ତାରିଖ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଭିତରେ ରହିବ। ୭ ତାରିଖ ପରେ ତାପମାତ୍ରା ୪୨ ଡିଗ୍ରି ଡେଇଁବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ୪ ତାରିଖ ସକାଳ ସୁଦ୍ଧା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ଗଜପତି, ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ମେ’ ୫, ୬ ଓ ୭ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ସମେତ ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ଅଧିକ ରହିଥିବା ନେଇ ଆକଳନ କରାଯାଇଛି। ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର,: ବାତ୍ୟା ଆଶଙ୍କାକୁ ନଜରରେ ରଖି ପ୍ରଶାସନ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ, ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତା’ର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା। ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଆମକୁ ସବୁବେଳେ ପ୍ରସ୍ତୁତ
ରହିବାକୁ ପଡ଼ିବ। ବାତ୍ୟା ଦ୍ବାରା ପ୍ରଭାବିତ ହେଉଥିବା ୧୮ଟି ଜିଲ୍ଲାର ଜିଲ୍ଲାପାଳମାନେ ଆବଶ୍ୟକୀୟ ପଦକ୍ଷେପ ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସମେତ ଏନ୍‌ଡିଆର୍‌ଏଫ୍, ଓଡ୍ରାଫ୍‌ ଓ ଅଗ୍ନିଶମ ସେବା ସଂସ୍ଥା ଆଦି ଆଗୁଆ ପ୍ରସ୍ତୁତ ରହିବେ। ଆବଶ୍ୟକସ୍ଥଳେ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବେ, ସବୁ ଅତ୍ୟାବଶ୍ୟକ ମେସିନ୍ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବେ, ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହ ମୁଖ୍ୟ ସଚିବ ବାତ୍ୟା ସମ୍ପର୍କରେ ନିୟମିତ ସମୀକ୍ଷା କରିବେ।

ବୈଠକରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ଅଧିକ ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ‘ଜିରୋ କାଜୁଆଲ୍‌ଟି’ ନୀତି ଅବଲମ୍ବନ କରି ସଫଳତା ପାଇଛୁ। ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି। ସବୁ ସଂପୃକ୍ତ ବିଭାଗଗୁଡ଼ିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି। ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ କହିଥିଲେ, ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି। ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ‌େଢଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ କୁହାଯାଇଛି। ଏହି ସବୁ ଜିଲ୍ଲାରେ ଥିବା ବାତ୍ୟା ଆଶ୍ରୟସ୍ଥଳଗୁଡ଼ିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି ଏନ୍‌ଡିଆର୍‌ଏଫ୍ ଓ ୨୦ଟି ଓଡ୍ରାଫ୍ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି।

ବୈଠକରେ ଉନ୍ନୟନ କମିସନର ଅନୁ ଗର୍ଗ, ପୁଲିସ ଡିଜି ସୁନିଲ ବଂଶଲ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ, କୃଷି ବିଭାଗ ପ୍ରମୁଖ ସଚିବ ଅରିବିନ୍ଦ ପାଢ଼ୀ ପ୍ରମୁଖ ନିଜ ବିଭାଗର ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।