ରାଜ୍ୟ

ଫେବ୍ରୁଆରିରେ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’: ଭୁବନେଶ୍ବରରେ ୩ ଦିନବ୍ୟାପୀ ଆୟୋଜନ କରାଯିବ

ଭୁବନେଶ୍ବର: ୨୦୧୭ ମସିହା ଡିସେମ୍ବର ମାସ ୨୬ ତାରିଖରେ ପୁରୀରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ନିଷ୍ପତ୍ତି ହୋଇଥିଲା ଯେ ସରକାର ପ୍ରତି ପାଞ୍ଚ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିବେ। ଦୀର୍ଘ ୬ ବର୍ଷ ପରେ ସରକାର କହିଛନ୍ତି ଯେ ଆସନ୍ତା ଫେବ୍ରୁଆରିରେ ଭୁବନେଶ୍ବରରେ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଐତିହ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି।

ଆଜି ସଂଧ୍ୟାରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟ ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆସିଥିବା ଏହି ଗୋଟିଏ ପ୍ରସ୍ତାବକୁ ହିଁ ଅନୁମୋଦନ ମିଳିଛି। କ୍ୟାବିନେଟ ବୈଠକ ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ ଗଣମାଧ୍ୟମକୁ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆସନ୍ତା ଫେବ୍ରୁଆରିରେ ତିନି ଦିନବ୍ୟାପୀ ଆୟୋଜନ ହେବ। ଏଥିରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗର ସଂପୃକ୍ତି ରହିବ।

ଖୁବ୍‌ ଶୀଘ୍ର ସଚିବସ୍ତରୀୟ ବୈଠକ ବସି ଏନେଇ ଆଲୋଚନା ହେବା ସହ ସ୍ଥାନ ଓ ତାରିଖ ଧାର୍ଯ୍ୟ ହେବ। ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆୟୋଜନ କରାଯିବ। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞମାନଙ୍କୁ ସମ୍ମିଳନୀର ବିଷୟଭିତ୍ତିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ। ସମଗ୍ର ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଏଥିରେ ବ୍ୟାପକ ଭାବେ ସାମିଲ କରାଯିବ। ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ। ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ/ବିଶ୍ବବିଦ୍ୟାଳୟଗୁଡ଼ିକ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ।

ଏହି ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ। ଏହା ବାଦ୍‌ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢ଼ିଙ୍କ ଓଡ଼ିଆ ଭାଷା ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନାରେ ଏହି ସମ୍ମିଳନୀର ପ୍ରଭାବ ସୁଦୂରପ୍ରସାରୀ ହୋଇପାରିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।